୩୧୬୦ କୋଟି ଟଙ୍କାର ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୪ଟି ଗୁରୁତ୍ଵପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ବୈତରଣୀ ବାମ ପାର୍ଶ୍ବ କେନାଲ ସହିତ ହଳଦିଆ ଡ୍ୟାମର ଲୋକାର୍ପଣ କରାଯାଇଛି। ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ୨୮ କି.ମି. ଦୀର୍ଘ ବୈତରଣୀ ବାମ ପାର୍ଶ୍ବ କେନାଲ ଦ୍ବାରା ବୈତରଣୀ ଓ ସାଳନ୍ଦି ନଦୀକୁ ଯୋଡା ଯାଇଛି। ଏହା ଦ୍ବାରା କେନ୍ଦୁଝର ଜିଲ୍ଲାର ହାଟଡିହି ଓ ଆନନ୍ଦପୁର ବ୍ଲକରେ ୨,୨୨୧ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବା ସହିତ ବାଲେଶ୍ବର ଜିଲ୍ଲାର ୭ଟି ବ୍ଲକରେ ୫୬,୫୫୦ ହେକ୍ଟର ଜମିକୁ ଖରିଫ୍ ଋତୁରେ ଜଳସେଚନ ସୁବିଧା ମିଳିବ। ଏହା ସହିତ ସାଳନ୍ଦି ଡ୍ୟାମରେ ଗଚ୍ଛିତ ଜଳକୁ ବ୍ୟବହାର କରାଯାଇ ରବି ଋତୁରେ ୫୦,୦୦୦ ହେକ୍ଟର ଜମିକୁ ମଧ୍ୟ ଜଳସେଚନର ସୁବିଧା ଦିଆଯିବ। ସମୁଦାୟ ୧,୦୮,୭୭୧ ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ମିଳିବ।

ସେହିପରି ହଳଦିଆ ଡ୍ୟାମ ହେଉଛି ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଏକ ଅଂଶ। ବର୍ତ୍ତମାନ ସୁଦ୍ଧା ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଜରିଆରେ ୬୨,୪୮୦ ହେକ୍ଟର ଜଳସେଚନର ସୁବିଧା ଦିଆଯାଇଥିବା ବେଳେ ହଳଦିଆ ଡ୍ୟାମ ଦ୍ବାରା ଆଉ ୫,୫୨୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ।

ଏହା ସହିତ ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଦ୍ବିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମ ଓ ଖଇରି ଭଣ୍ଡନ ବ୍ୟାରେଜ ପାଇଁ ଭିତ୍ତ ରଖୁଛନ୍ତି। ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଦ୍ବିତୀୟ ପର୍ଯ୍ୟାୟ କାର୍ଯ୍ୟକାରୀ ହେବା ପରେ ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର ୩୯,୬୯୪ ହେକ୍ଟର ଚାଷ ଜମିକୁ ଜଳସେଚନ ସୁବିଧା ମିଳିପାରିବ। ସେହିପରି ମୟୂରଭଞ୍ଜ ଜିଲ୍ଲାର ଅଂଳାବଣୀ ଗ୍ରାମ ନିକଟରେ ଖଇରି ଭଣ୍ଡନ ନଦୀ ଉପରେ ବ୍ୟାରେଜ କାମ ଆରମ୍ଭ କରାଯିବ । ଏହା ଦ୍ବାରା ୩ଟି ବ୍ଲକର ୬,୯୫୦ ହେକ୍ଟର ଚାଷ ଜମିକୁ ଜଳସେଚନ ସୁବିଧା ମିଳିବା ସହିତ ୩୫,୦୦୦ ଲୋକଙ୍କୁ ପିଇବା ପାଣିର ସୁବିଧା ମିଳିପାରିବ।

nano urea

ଆୟୋଜିତ କାର୍ଯ୍ୟକ୍ରମରେ ମୟୁରଭଞ୍ଜରେ ଉପସ୍ଥିତ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଲେ ଯେ ଆମ ରାଜ୍ୟର ୮୦ ଭାଗରୁ ଊର୍ଦ୍ଧ୍ବ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି। ଚାଷ କ୍ଷେତ୍ର ହେଉ ବା ଜଳସେଚନ କ୍ଷେତ୍ର, ସବୁ କ୍ଷେତ୍ରର ବିକାଶକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଉଛନ୍ତି। ପ୍ରତି ଚାଷୀ ପାଖରେ ଏବଂ ପ୍ରତି ଚାଷ କ୍ଷେତରେ କିଭଳି ସୁରୁଖୁରୁରେ ପାଣି ପହଞ୍ଚିବ ସେ ବିଷୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଜଳସେଚନ ବିକାଶ କ୍ଷେତ୍ରରେ ଏଭଳି ପଦକ୍ଷେପ ନେଉଛନ୍ତି ବୋଲି ସେ କହିଥିଲେ। ସେଠାରେ ଉପସ୍ଥିତ ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାଣ୍ଡି ଜିଲ୍ଲାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ଏହି ଦୁଇ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଜିଲ୍ଲାରେ କୃଷି କ୍ଷେତ୍ରରେ ବହୁ ଉନ୍ନତି ଘଟିବା ସହିତ ଆମ ଜିଲ୍ଲାର ଚାଷୀ ଭାଇଭଉଣୀମାନେ ଆର୍ଥକ ସ୍ତରରେ ସୁଦୃଢ ହେବେ।

କାର୍ଯ୍ୟକ୍ରମକୁ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ସଂଯୋଜନା କରି କହିଥିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଜଳସେଚନର ଉନ୍ନତି ଓ ଚାଷୀଭାଇଙ୍କର ଉନ୍ନତିକୁ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। ସେହିଭଳି ଆୟୋଜିତ କାର୍ଯ୍ୟକ୍ରମରେ ଆନନ୍ଦପୁରଠାରେ ଉପସ୍ଥିତ ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଏବଂ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଏହି କେନାଲ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ଏହି କେନାଲ ମାଧ୍ୟମରେ ବୈତରଣୀ ସହିତ ସାଳନ୍ଦି ନଦୀ ସଂଯୁକ୍ତ ହୋଇଛି। ଏହା ଦ୍ୱାରା ଆନନ୍ଦପୁର, ହାଟଡିହି ଓ ଘଷିପୁରା ବ୍ଲକ ସହିତ ବାଲେଶ୍ୱର ଜିଲ୍ଲାକୁ ମଧ୍ୟ ଜଳସେଚନ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ଦୁଇ ଜଣ ଚାଷୀ ଏହି କେନାଲ ମାଧ୍ୟମରେ କିଭଳି ଭାବେ ଲାଭବାନ ହେଉଛନ୍ତି ସେ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ଧନ୍ୟବାଦ ଦେଇଥିଲେ। ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ବହୁସଂଖ୍ୟକ ଚାଷୀ ଭାଇଭଉଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ସୂଚନା ଯୋଗ୍ୟ ଯେ ୫ଟି ଅଧ୍ଯକ୍ଷ ଭି କେ ପାଣ୍ଡିଆନ୍ ଗତ ଅଗଷ୍ଟ ୧୧ ତାରିଖରେ ଯଶିପୁର ଯାଇଥିବା ବେଳେ ସ୍ଥାନୀୟ ଚାଷୀ ମାନେ ଖଇରୀଭଣ୍ଡନ ବ୍ୟାରେଜ ପାଇଁ ତାଙ୍କୁ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବ ପରେ ମାତ୍ର ଚାରି ମାସ ମଧ୍ୟରେ ଏହି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ମଞ୍ଜୁର ହୋଇ କାମ ଆରମ୍ଭ ହୋଇ ପାରିଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଉପସ୍ଥିତ ଥିଲେ। ରାଜ୍ୟ ଉନ୍ନୟନ କମିସନର ତଥା ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଓ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

14 − 10 =