ପଣା ସଂକ୍ରାନ୍ତି (ମହାବିଷୁବ ସଂକ୍ରାନ୍ତି) ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ। ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ। ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ। ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ।
ପଣାସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ଖୋଲାଯାଏ। ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ। ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ। ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି। ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ। ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ। ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍ଯାପନ କରାଯାଏ।
ଉପସ୍ଥାପନା – ଦିବ୍ୟାଭାରତୀ ନାୟକ
